ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ, ମୋଟ ୮୦ ଟି ଅଭିଯୋଗ ର ହେଲା ଶୁଣାଣୀ….

ରାଇରଙ୍ଗପୁର(ଉତ୍ତମ ରାମ): ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସାଏ, ଭା.ପ୍ର.ସେଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଭା.ପ୍ର.ସେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ଭା. ପୋ.ସେ., ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ ଓ ରାଇରଙ୍ଗପୁର ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର କୁମାର ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ l ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ l ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୮୦ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୨ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୮ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା l ଏଥି ମଧ୍ୟରୁ ଆପତ୍ତି ଅଭିଯୋଗର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟ. ୫୦୦୦/- ଙ୍କା ଲେଖାଏଁ ମୋଟ ୧୦,୦୦୦ ଟଙ୍କା ଏବଂ ଜଣଙ୍କୁ ରେଡ କ୍ରସରୁ ୨୦୦୦/- ଟଙ୍କା ମଂଜୁର କରିଥିଲେ । ମୋଟ ୪ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା l ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା l