ପରିଡ଼ା ପଞ୍ଚାୟତରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ..

ପାରଳାଖେମୁଣ୍ଡି (ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପୃଥ୍ବୀରାଜ ମଣ୍ଡଳ ଭାରପ୍ରାପ୍ତ  ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇଥିଲେ । ପରିଡ଼ା ଗ୍ରାମ ପଞ୍ଚାୟତ ସମେତ ଗାଇବା, ବୃଷଭ ଓ ବାଇଝାଲ ପଞ୍ଚାୟତର  ସମୁଦାୟ ମୋଟ ୭୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୭ଟି ଓ ଗ୍ରାମ ଭିତ୍ତିକ ସମସ୍ୟା- ୪୪ ଗୋଟି ଅଭିଯୋଗ ରହିଥିବା ବେଳେ ସେଥି ମଧ୍ୟରୁ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ ଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେହିପରି ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁଲାରାମ ମାରାଣ୍ଡି,ତହସିଲଦାର ଦେବୀ ପ୍ରସନ୍ନ ସ୍ୱରସ୍ୱତ,ଜିଲ୍ଲା ମୁଖ୍ୟ ଚିକିତ୍ସା, ଜନସ୍ବାସ୍ଥ୍ୟ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ, ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।